କଟକ ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ, ୧୧ଗୋଟି ଅଭିଯୋଗର ତ୍ୱରିତ ସମାଧାନ ଦିଗରେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ |

106

କଟକ (ଉତ୍କଳ ନ୍ୟୁଜ ) ୨୧-୦୧-୨୦୨୫ : କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଜିଲ୍ଳା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତୀକ ସିଂହ, ଅତିରିକ୍ତ ଉପଆୟୁକ୍ତ ପେଲିସ୍ କମିଶନରେଟ୍ ଶ୍ରୀ ଦେବଦତ୍ତ କର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତିଶଙ୍କର ରାୟ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଆଜିର ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୬୧ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୪୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୪ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୧୧ଗୋଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା କୃଷି ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରାଣୀସମ୍ପଦ ଅଧିକାରୀ, ଅବକାରୀ ସୁପରିନଟେଣ୍ଡେନଟ, ଅଧିକ୍ଷଣ ଯନ୍ତ୍ରୀ, ଜିଲ୍ଲା ନିୟୋଜନ ଅଧିକାରୀ, ଜିଲ୍ଲା ଜନମଙ୍ଗଳ ଅଧିକାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପ୍ରମୁଖ ଅଭିଯୋଗ ଶୁଶାଣି ଶିବିରରେ ଯୋଗ ଦେଇଥିଲେ ।